ଭୁବନେଶ୍ବର : ଦୁର୍ବଳ ହୋଇଛି ବାତ୍ୟା ମୋନ୍ଥା । ଗଭୀର ଅବପାତରେ ଏବେ ପରିଣତ ହୋଇଛି । ଯାହାଫଳରେ ରାଜ୍ୟର କିଛି କିଛି ସ୍ଥାନରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୨ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗିରହିବା ନେଇ ଆକଳନ କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର । ଏହାସହ ବିଜୁଳି ଘଡଘଡି ଏବଂ ୩୦ ରୁ ୪୦ କିଲୋମିଟର ପ୍ରତି ଘଣ୍ଟା ବେଗରେ ପବନ ବୋହିବା ନେଇ ଆକଳନ କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ସମ୍ପୂର୍ଣ ରାଜ୍ୟରେ ବର୍ଷାର ପ୍ରଭାବ ଦେଖିବାକୁ ମିଳିଛି । ଦକ୍ଷିଣ ଓ ଉତ୍ତର ଓଡ଼ିଶା ର କିଛି କିଛି ଜିଲ୍ଲା ଯଥା ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ସହ ରାୟଗଡ଼ା, ଗଞ୍ଜାମ ଓ ଗଜପତି ଜିଲ୍ଲା ସମେତ ଉତ୍ତର ଓଡ଼ିଶାର ସୁନ୍ଦରଗଡ଼, କେଉଁଝର, ବାଲେଶ୍ଵର, ଭଦ୍ରକ, ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ରେକର୍ଡ ହୋଇଛି । ଏହାସହ ସର୍ବାଧିକ ୪୫ ରୁ ୫୫ ଆବଶ୍ୟକସ୍ଥଳେ ୬୫ କିଲୋମିଟର ପ୍ରତି ଘଣ୍ଟା ବେଗରେ ପବନ ମଧ୍ୟ ଅନୁଭୂତ ହୋଇଛି ।
ସେହିଭଳି ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଉପକୂଳ ଓଡ଼ିଶାର ବିଭିନ୍ନ ଜିଲ୍ଲା ସହିତ ଉତ୍ତର ଆଭ୍ୟନ୍ତରୀଣ ଜିଲ୍ଲା ଗୁଡ଼ିକରେ ବର୍ଷର ପ୍ରଭାବ ଦେଖିବାକୁ ମିଳିବ। ଏହାସହ ବିଜୁଳି ଘଡଘଡି ଓ ଝଟକା ପବନ ମଧ୍ୟ ଅନୁଭୂତ ହେବ । ଆସନ୍ତା କାଲି ମଧ୍ୟ ସମାନ ସ୍ଥିତି ରହିବା ନେଇ ଆକଳନ କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର । ସେହିଭଳି ଆଜି ସନ୍ଧ୍ୟା ପର୍ଯ୍ୟନ୍ତ ସମୁଦ୍ର ଅଶାନ୍ତ ରହିବ । ସେଥିପାଇଁ ସମୁଦ୍ର ମଧ୍ୟକୁ ଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି ।

