ଭୁବନେଶ୍ୱର : ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱରରେ ପହଞ୍ଚିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଦୁଇଦିନ ରହଣୀ ଭିତରେ କଟକ ଓ ଭୁବନେଶ୍ୱରରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ ରାଷ୍ଟ୍ରପତି । ବାୟୁସେନାର ସ୍ୱତନ୍ତ୍ର ବିମାନରେ ଆସି ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଛନ୍ତି । ଆଜି ଏମ୍ସ ଭୁବନେଶ୍ୱରର ସମାବର୍ତ୍ତନ କାର୍ଯ୍ୟକ୍ରମରେ ଯୋଗ ଦେବେ ।
ଆସନ୍ତାକାଲି ଅର୍ଥାତ ଜୁଲାଇ ୧୫ ତାରିଖରେ ରେଭେନ୍ସା ବିଶ୍ୱବିଦ୍ୟାଳୟର ତ୍ରୟୋଦଶ ବାର୍ଷିକ ସମାବର୍ତ୍ତନ ଉତ୍ସବରେ ଯୋଗ ଦେବେ । ଏହାପରେ ରେଭେନ୍ସା ବାଳିକା ଉଚ୍ଚବିଦ୍ୟାଳୟ ଉନ୍ନତୀକରଣ କାର୍ଯ୍ୟର ଭିତ୍ତିପ୍ରସ୍ତର ସ୍ଥାପନ କରିବା ସହ କଟକ ତୁଳସୀପୁର ବିଜୁ ପଟ୍ଟନାୟକ ଛକ ସ୍ଥିତ ଶାରଳା ଭବନରେ ଆଦିକବି ଶାରଳା ଦାସଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବେ ରାଷ୍ଟ୍ରପତି । ଆଦିକବି ଶାରଳା ଦାସଙ୍କ ୬୦୦ତମ ଜୟନ୍ତୀ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ପରେ ନୂଆଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।