Thursday, September 24, 2026
23.9 C
Odisha

    ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି: ପୁରୀ ହେବ ମହାନଗର ନିଗମ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ମହାପ୍ରଭୁଙ୍କ ପବିତ୍ର ରଥଯାତ୍ରା ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ବଡ଼ ଘୋଷଣା କରିଛନ୍ତି। ଆଧ୍ୟାତ୍ମିକ ସହର ‘ପୁରୀ’କୁ ମହାନଗର ନିଗମରେ ପରିଣତ କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି ବୋଲି କହିଛନ୍ତି। ପୁରୀ ସହରକୁ ପ୍ରତିଦିନ ଲକ୍ଷଲକ୍ଷ ଭକ୍ତମାନଙ୍କର ଆଗମନ ଓ ଏଠାକାର ଆବଶ୍ୟକତାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏହି ନିଷ୍ପତ୍ତି ନେଇଛନ୍ତି। ପୁରୀରେ ବିଶ୍ବସ୍ତରୀୟ ଶ୍ରୀଜଗନ୍ନାଥ ସଂଗ୍ରହାଳୟ, ପାଠାଗାର ଓ ଗବେଷଣା କେନ୍ଦ୍ର ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
    ମୁଖ୍ୟମନ୍ତ୍ରୀ କହିଛନ୍ତି, ପୁରୀ ଆଉ ପୌରାଞ୍ଚଳରେ ସୀମିତ ରହିବ ନାହିଁ। ଏହାର କଳେବର ବୃଦ୍ଧି ପାଇବ। ଶ୍ରୀ ଜଗନ୍ନାଥ ସଂସ୍କୃତି, କିମ୍ବଦନ୍ତୀ ଓ ଇତିହାସର ପ୍ରଚାର ପ୍ରସାର ହେବ। ଓଡ଼ିଆ ଅସ୍ମିତାକୁ ଗୁରୁତ୍ୱ ଦିଆଯିବ। ନାଗରିକମାନଙ୍କୁ ସୁବିଧା ସୁଯୋଗ ଯୋଗାଇ ଦେବା ସାଙ୍ଗକୁ, ବହୁବିଧ ସେବା, ପର୍ଯ୍ୟଟକଙ୍କ ଚର୍ଚ୍ଚା ଦ୍ୱାରା ଏକ ବିରାଟ ସକାରାତ୍ମକ ପରିବର୍ତ୍ତନ ନେଇ ରାଜ୍ୟ ସରକାର ଲକ୍ଷ୍ୟ ରଖିଛନ୍ତି।

    ମୁଖ୍ୟମନ୍ତ୍ରୀ କହିଛନ୍ତି, ଏବେ ପବିତ୍ର ପୁରୀ ସହରରେ ମହାପ୍ରଭୁଙ୍କ ଘୋଷଯାତ୍ରା ଜାରି ରହିଛି। ବାହୁଡ଼ା ଯାତ୍ରା ପାଇଁ ମହାପ୍ରଭୁ ଆଜ୍ଞା ଦେଇସାରିଛନ୍ତି। ଏହି ଯାତ୍ରାକୁ ସୂଚାରୁ ରୂପେ ଏବଂ ସୁରକ୍ଷିତ ଢଙ୍ଗରେ ସଂପୂର୍ଣ୍ଣ କରିବା ପାଇଁ ଠାକୁରଙ୍କ ନିର୍ଦ୍ଦେଶରେ ସମସ୍ତେ ନିଜ ନିଜ ସେବା ପ୍ରଦାନ କରୁଛନ୍ତି। ପୁରୀ ଜଗନ୍ନାଥ ଧାମ ସାରା ଭାରତର ସବୁ ଧର୍ମସ୍ଥଳୀ ଠାରୁ ଅନନ୍ୟ। ଏଠାରେ ଭକ୍ତ ଜାତି, ଧର୍ମ, ବର୍ଣ୍ଣ, ସମ୍ପ୍ରଦାୟ ନିର୍ବିଶେଷରେ ସମସ୍ତେ ଏକାକାର ହୋଇ ଯାଆନ୍ତି। ନବଦିନ ବ୍ୟାପ୍ତ ଏହି ପବିତ୍ର ଯାତ୍ରା ସମୟରେ ବଡଦାଣ୍ଡରେ ଚାଲୁଥିବା ସବୁ ଭକ୍ତ ଜଣେ ଜଣେ ଦାସିଆ। ମୁଁ ବି ଏହି ଅସଂଖ୍ଯ ଜଗନ୍ନାଥ ଭକ୍ତଙ୍କ ମଧ୍ୟରୁ ଜଣେ ସାଧାରଣ ଭକ୍ତ।

    ରାଜ୍ୟର ମୁଖ୍ୟ ସେବକ ଭାବେ ରାଜ୍ୟବାସୀ ଯେଉଁ ଗୁରୁ ଦାୟିତ୍ଵ ମୋତେ ଅର୍ପଣ କରିଛନ୍ତି, ସେଥି ମଧ୍ୟରୁ, ପୁରୀକୁ ଆସୁଥିବା ଲକ୍ଷ ଲକ୍ଷ ଭକ୍ତଙ୍କ ସହିତ ପୁରୀବାସୀଙ୍କୁ ଗୁଣାତ୍ମକ ମୌଳିକ ସୁବିଧା ପ୍ରଦାନ କରିବା। ମୁଁ ବ୍ୟକ୍ତିଗତ ଭାବେ ପୂର୍ବରୁ ଅନୁଭବ କରିଛି ଯେ କୌଣସି ନା କୌଣସି କାରଣରୁ ବର୍ତ୍ତମାନର ପୁରୀ ପୌରପାଳିକା ଉଭୟ ଭକ୍ତ ଏବଂ ସହରବାସୀଙ୍କ ଆଶା ଆକାଂକ୍ଷାକୁ ପୂରଣ କରିବାରେ ସମର୍ଥ ହୋଇନାହିଁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

    ଏହି ଲକ୍ଷ୍ୟ ହାସଲ କରିବା ପାଇଁ ସ୍ଥାନୀୟ ସ୍ଵାୟତ୍ତ ଶାସନ ପଦ୍ଧତିରେ ସଂସ୍କାର ଆଣିବାକୁ ପଡ଼ିବ। ବିଭିନ୍ନ ବିକାଶମୂଳକ କାର୍ଯ୍ୟକୁ ତଦାରଖ, ପୁନର୍ବିନ୍ୟାସ ଏବଂ ରକ୍ଷଣାବେକ୍ଷଣ କରିବା ପାଇଁ ନୂତନ ଢାଞ୍ଚାର ଆବଶ୍ୟକତା ରହିଛି। କ୍ରମ ବର୍ଦ୍ଧିଷ୍ଣୁ ଜନସଂଖ୍ୟା ସହିତ ବର୍ଷସାରା ସହରକୁ ଆସୁଥିବା ଭକ୍ତ ଏବଂ ପର୍ଯ୍ୟଟକଙ୍କୁ ଗୁଣାତ୍ମକ ସୁବିଧା ଯୋଗାଇବା ପାଇଁ ଆମ ସରକାର ପୁରୀ ପୌରପାଳିକାକୁ ମହାନଗର ନିଗମରେ ପରିଣତ କରିବା ପାଇଁ ନିଷ୍ପତ୍ତି ଗ୍ରହଣ କରିଛନ୍ତି। ପୁରୀ ସହର ଏବଂ ଆଖପାଖ ଅବସ୍ଥିତ ଗ୍ରାମ ପଞ୍ଚାଯତକୁ ସାମିଲ କରି ପୁରୀ ମହାନଗର ନିଗମ ଗଠିତ ହେବ। ଏହା ଦ୍ଵାରା ପୁରୀ ସଦର ଏବଂ ବ୍ରହ୍ମଗିରି ବ୍ଲକର ପ୍ରାୟ ସାତରୁ ଆଠଗୋଟି ଗ୍ରାମ ପଞ୍ଚାୟତକୁ ସାମିଲ କରାଯିବ, ଯାହା ଫଳରେ ଏହି ପଞ୍ଚାୟତବାସୀ ସହର ପରି ସୁବିଧା ପାଇ ପାରିବେ। ଆସନ୍ତା କାଲି ଠାରୁ ଏହ ସମ୍ବନ୍ଧୀୟ ସମସ୍ତ ପ୍ରକ୍ରିୟା ଆରମ୍ଭ କରାଯିବ।

    ପୁରୀକୁ ଦେଶର ସର୍ବଶ୍ରେଷ୍ଠ ଧର୍ମୀୟ ଓ ପର୍ଯ୍ୟଟନ ସ୍ଥଳ ଭାବେ ଗଢି ଗୋଳିବାକୁ ଆମ ସରକାର ବଦ୍ଧପରିକର। ଏଥିପାଇଁ ଅନେକ ନୂତନ ପ୍ରକଳ୍ପର ନିର୍ମାଣ ଏବଂ ରକ୍ଷଣା ବେକ୍ଷଣର ଅବଶ୍ୟକତା ରହିଛି। ୨୦୩୬ ସୁଦ୍ଧା ପୁରୀକୁ ଦେଶର ଏକ ମୁଖ୍ୟ ଧର୍ମୀୟ ଓ ପର୍ଯ୍ୟଟନ ସ୍ଥଳରେ ପରିଣତ କରିବାକୁ ସରକାର ଲକ୍ଷ୍ୟ ରଖିଛନ୍ତି। ଏକ ସୁନ୍ଦର, ସବୁଜ, ବିକଶିତ ପୁରୀ ସହର ବିନା ସମୃଦ୍ଧ ଓଡିଶାର ପରିକଳ୍ପନା ଅସମ୍ଭବ। ଆଜିର ଏହି ଘୋଷଣା ସରକାରଙ୍କ ଏହି ଭିଜନର ଏକ ଅଂଶ ବିଶେଷ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    23.9 ° C
    23.9 °
    23.9 °
    97 %
    3.6kmh
    100 %
    Thu
    24 °
    Fri
    27 °
    Sat
    29 °
    Sun
    29 °
    Mon
    30 °

    ସମ୍ବନ୍ଧିତ