Thursday, April 2, 2026
25.4 C
Odisha

    ଓଡ଼ିଆ ପରମ୍ପରାର ମହା ବିଷୁବ ସଂକ୍ରାନ୍ତି

    ଆଗକୁ ପଢନ୍ତୁ

    ଓଡ଼ିଆ ପଞ୍ଜିକାର ଗଣନା ଅନୁସାରେ ମହାବିଷୁବ ସଂକ୍ରାନ୍ତି ହିଁ ବର୍ଷର ପ୍ରଥମ ସଂକ୍ରାନ୍ତି ଭାବରେ ଗ୍ରହଣ କରାଯାଏ । ଏହି ଦିନଟିକୁ ଓଡ଼ିଆ ନବବର୍ଷ ଭାବରେ ପାଳନ କରାଯାଏ । ବର୍ଷ ଆରମ୍ଭ ହେଉଥିବାରୁ ଓଡ଼ିଆ ପରିବାରରେ ଦେବଦେବୀଙ୍କଠାରେ ସ୍ୱତନ୍ତ୍ର ପୂଜା ଓ ଭୋଗ କରାଯାଇଥାଏ । ଏହି ସମୟରେ ସୂର୍ଯ୍ୟ କିରଣ ବୃଦ୍ଧି ପାଇବା ସହ ହଜମ ଶକ୍ତି ମଧ୍ୟ ବୃଦ୍ଧି ପାଇଥାଏ । ମହାବିଷୁବ ସଂକ୍ରାନ୍ତି ଦିନରେ ବିଭିନ୍ନ ଦେବଦେବୀ ମନ୍ଦିରମାନଙ୍କରେ ଛତୁ ଓ ପଣା ଭୋଗର ବିଧି ରହିଛି । ଏହି ଦିନ ପଡ଼ିଶା, ବନ୍ଧୁବାନ୍ଧବ ଓ ବ୍ରାହ୍ମଣମାନଙ୍କୁ ପଣା ଦିଆଯାଏ । ତେଣୁ ଏହି ଦିନକୁ ପଣାସଂକ୍ରାନ୍ତି ବୋଲି ମଧ୍ୟ କହାଯାଏ । ଏହା ସହିତ ବୃକ୍ଷମୁଳରେ ଜଳଦାନର ପ୍ରଥା ଆମ ସମାଜରେ ପ୍ରଚଳିତ। ସେଥିପାଇଁ ହିନ୍ଦୁ ପରିବାରରେ ଚଉଁରାରେ ପୂଜା ପାଉଥିବା ତୁଳସୀ ବୃକ୍ଷ ଉପରେ ଛାମୁଡ଼ିଆ କରି ଘଡ଼ିରେ ଜଳ ରଖି ତାର ନିମ୍ନ ଅଂଶରେ ସରୁ କଣାକରି ସୂକ୍ଷ୍ମ ଧାରରେ ଜଳଦାନ କରାଯାଇଥାଏ । ଏହି ସଂକ୍ରାନ୍ତି ପରଠାରୁ ବୃକ୍ଷଜଗତ ଏବଂ ଜୀବଜଗତକୁ ଜଳ ପ୍ରଦାନ କରାଯାଉଥିବାରୁ ଏହି ସଂକ୍ରାନ୍ତିର ଅନ୍ୟ ନାମ ଜଳସଂକ୍ରାନ୍ତି ବୋଲି କହିଥାନ୍ତି । ଏହି ସଂକ୍ରାନ୍ତି ପରଠାରୁ ବାୟୁର ଗତି ମଧ୍ୟ ପ୍ରଖର ହୁଏ । ଉଭୟ ଅଗ୍ନି ଓ ବାୟୁଙ୍କ ପ୍ରକୋପରୁ ରକ୍ଷାପାଇବା ପାଇଁ ଏହି ସମୟରେ ହନୁମାନ ଜୟନ୍ତୀ ପାଳନ କରାଯାଏ । ଏହିଦିନ ପବିତ୍ର ଝାମୁ ବ୍ରତର ଉଦଯାପନ କରାଯାଏ । ଯେଉଁମାନେ ଏହି ବ୍ରତ ପାଳନ କରନ୍ତି ତାଙ୍କୁ ପାଟୁଆ ବୋଲି କୁହାଯାଏ । ବ୍ରତ ଉଦଯାପନ ଦିନ ବ୍ରତଧାରୀ କଣ୍ଟା ବା ଜଳନ୍ତା ଅଗ୍ନିରେ ଚାଲନ୍ତି । ଓଡ଼ିଶାର ଅନେକ ଅଞ୍ଚଳରେ ଏହି ବ୍ରତ ଉପଲକ୍ଷେ ଯାତ୍ରା ହୁଏ ଏହାକୁ ଝାମୁ ବା ପାଟୁଆ ଯାତ୍ରା କହନ୍ତି । ବ୍ରତଧାରୀମାନେ ସମାଜକୁ କଠୋର ତାପ ସହ୍ୟ କରିବାର ଶକ୍ତି ସମ୍ପର୍କରେ ଶିକ୍ଷା ପ୍ରଦାନ କରିଥାନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    25.4 ° C
    25.4 °
    25.4 °
    49 %
    1.5kmh
    0 %
    Thu
    40 °
    Fri
    41 °
    Sat
    39 °
    Sun
    38 °
    Mon
    34 °

    ସମ୍ବନ୍ଧିତ