ଜରୁରୀକାଳୀନ ଫସଲ ଯୋଜନା କାର୍ଯ୍ୟକାରୀ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଜରୁରୀକାଳୀନ ଫସଲ ଯୋଜନା କାର୍ଯ୍ୟକାରୀ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ରାଜ୍ୟରେ ସମ୍ଭାବ୍ୟ ମରୁଡି ପରିସ୍ଥିତି ସଂପର୍କରେ ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ । ମୁକାବିଲା କରିବାକୁ ନିର୍ଦ୍ଦେଶ ଦେବା ସହିତ ଚାଷୀଙ୍କ ପାଇଁ ଜରୁରୀକାଳୀନ ଫସଲ ଯୋଜନା କାର୍ଯ୍ୟକାରୀ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବର୍ତ୍ତମାନ ସୁଦ୍ଧା ରାଜ୍ୟର ୨୧୩ଟି ବ୍ଲକ୍‌ରେ ବର୍ଷାର ଅଭାବ ଦେଖାଦେଇଛି । ଯାହାକି କୃଷି କାର୍ଯ୍ୟକ୍ରମକୁ ପ୍ରଭାବିତ କରିବାର ଆଶଙ୍କା ରହିଛି । କୃଷି ଓ କୃଷକ ସଶକ୍ତିକରଣ ବିଭାଗକୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେବା ସହ ଦୈନିକ ଭିତ୍ତିରେ ପରିସ୍ଥିତି ଉପରେ ନଜର ରଖିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏହାସହ ସଂପୃକ୍ତ ଜିଲ୍ଲାପାଳମାନେ କ୍ଷେତ୍ରସ୍ତରରେ ତୁରନ୍ତ ପଦକ୍ଷେପ ନେବା ପାଇଁ ପରାମର୍ଶ ଦେଇଛନ୍ତି ।

ଫସଲ ପାଇଁ ଜରୁରୀକାଳୀନ ଯୋଜନା, କେନାଲ ଗୁଡିକରେ ଜଳପ୍ରବାହ ଏବଂ ମହାତ୍ମାଗାନ୍ଧୀ ନିଶ୍ଚିତ କର୍ମନିଯୁକ୍ତି କାର୍ଯ୍ୟକ୍ରମରେ ଉତ୍ତମ ସମନ୍ବୟ ରଖି କାର୍ଯ୍ୟ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ଚାଷୀଙ୍କ ଫସଲ ନଷ୍ଟ ହେବା କ୍ଷେତ୍ରରେ ଦ୍ବିତୀୟ ଫସଲ ପାଇଁ ବିହନ ଓ ମିନିକିଟ୍‌ ଯୋଗାଇ ଦେବା ଏବଂ ଯେଉଁଠାରେ ଫସଲ ଅଛି, ତାକୁ ସୁରକ୍ଷିତ ରଖିବା ପାଇଁ ରିହାତି ଦରରେ ଚାଷୀଙ୍କୁ ଡିଜେଲ ପମ୍ପସେଟ୍‌ ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

ସେହିପରି ଚାଷୀ ମାନଙ୍କ ଜମିକୁ ଜଳଯୋଗାଣକୁ ସୁରକ୍ଷିତ ରଖିବା ପାଇଁ ଗୋଟିଏ ଜାଗାରେ ଅଧ ଏକରରୁ ଅଧିକ ଥିବା ଚାଷ ଜମି ପାଇଁ ପୋଖରୀ ଖୋଳିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏହାସହିତ ସମସ୍ତ ଉଠା ଜଳସେଚନ ପଏଣ୍ଟ ଗୁଡିକୁ ୭ ଦିନ ମଧ୍ୟରେ ମରାମତି ଓ ପୁନରୁଦ୍ଧାର କରି କାର୍ଯ୍ୟକ୍ଷମ କରିବାକୁ କହିଛନ୍ତି । ଛୋଟ ଓ ନାମମାତ୍ର ଚାଷୀ ଓ କୃଷି ଶ୍ରମିକଙ୍କୁ ଜୀବିକା ସହାୟତା ଦେବା ପାଇଁ ବିଭିନ୍ନ ରୋଜଗାର ସୃଷ୍ଟିକାରୀ ଯୋଜନା ଉପରେ ପ୍ରାଥମିକତା ଦେବା ଉପରେ ଗୁରୁତ୍ବ ଦିଆଯାଇଛି । ତଳିଆ ଅଞ୍ଚଳର ଚାଷୀଙ୍କ ପାଇଁ ଜଳଯୋଗାଣ ସୁନିଶ୍ଚିତ କରିବା ଓ ଭୂତଳ ଜଳ ପାଇଁ ପଦକ୍ଷେପ ନେବାକୁ ଜଳସଂପଦ ବିଭାଗକୁ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

ଏହାସହ ଜନସାଧାରଣ ଓ ପ୍ରାଣୀ ସଂପଦ ପାଇଁ ଯେପରି ପାନୀୟ ଜଳର ଅଭାବ ନ ହୁଏ, ତାହା ସୁନିଶ୍ଚିତ କରିବାକୁ ଜିଲ୍ଲା ଓ ପୌରସଂସ୍ଥା କର୍ତ୍ତୃପକ୍ଷମାନେ ପଦକ୍ଷେପ ନେବାକୁ କୁହାଯାଇଛି । ଚାଷୀ ଓ ସାଧାରଣ ଜନତାଙ୍କ ଉପରେ ମରୁଡିର ପ୍ରଭାବ କମ୍‌ କରିବା ପାଇଁ ସମସ୍ତ ପ୍ରକାର ପଦକ୍ଷେପ ନେବାକୁ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ବୃଷ୍ଟିପାତ ୩୦ ପ୍ରତିଶତ କମ୍‌ ରହିଛି । ଧାନ ଫସଲ ପାଇଁ ସମସ୍ୟା ଦେଖା ଦେଇଥିଲେ ମଧ୍ୟ ଅଣଧାନ ଫସଲ ପାଇଁ କୌଣସି ସମସ୍ୟା ସୃଷ୍ଟି ହୋଇନାହିଁ ବୋଲି କହିଛନ୍ତି ମୁଖ୍ୟ ଶାସନ ସଚିବ ।